ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବୈଠକ ପରେ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖିବାକୁ ଏବଂ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛି।
ସିବିଏସ୍ଇ ଦ୍ୱାଦଶ ବୋର୍ଡ ପରୀକ୍ଷା ପାଇଁ ଜୁନ୍ ୧ ରେ ସ୍ଥିତିର ସମୀକ୍ଷା କରାଯିବ। ଏହାପରେ ସଂଶୋଧିତ ତାରିଖ ଘୋଷଣା କରାଯିବ।
କରୋନା ବୃଦ୍ଧି ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ, ଶିକ୍ଷା ସଚିବ ତଥା ଅନ୍ୟାନ୍ୟ ଅଧିକାରୀ ଯୋଗ ଦେଇଥିଲେ।
ବୈଠକ ପରେ ଜାରି ଏକ ବିବୃତ୍ତିରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ କହିଛି ଯେ ମହାମାରୀ ଏବଂ ବିଦ୍ୟାଳୟ ବନ୍ଦ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ତଥା ସୁସ୍ଥତାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।