ଭୁବନେଶ୍ବର : ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତି ପାଇଲେ ଶିକ୍ଷକ । ୪୪୩ ଜଣ ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଲୋକସେବା ଭବନରେ ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ନବନିଯୁକ୍ତ ଶିକ୍ଷକଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୋର ଲକ୍ଷ୍ୟ ବୋଲି ବକ୍ତବ୍ୟରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂରାଜୀ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯାଉଛି । ବିଶେଷକରି ଗ୍ରାମାଞ୍ଚଳ ଓ ଅର୍ଦ୍ଧ ସହରାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନେ ଏହାଦ୍ବାରା ଉପକୃତ ହେଉଛନ୍ତି । ଗୁଣାତ୍ମକ ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସାରା ଦେଶରେ ଆଦର୍ଶ ବିଦ୍ୟାଳୟ ଗୁଡିକ ଏକ ରୋଲ ମଡେଲ ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜାତୀୟ ସ୍ତରର ବିଭିନ୍ନ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିବା ପାଇଁ ଏହି ବିଦ୍ୟାଳୟ ଗୁଡିକୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି । ପିଲାମାନଙ୍କ ମନରେ ଯେପରି ଆଶା ଓ ଆତ୍ମବିଶ୍ବାସ ବୃଦ୍ଧି ହେବ ଏବଂ ସେମାନେ ଏହି ପ୍ରତିଯୋଗିତା ମୂଳକ ଦୁନିଆରେ ସବୁପ୍ରକାର ବାଧାବିଘ୍ନକୁ ଅତିକ୍ରମ କରି ସଫଳତାର ପାହାଚ ଚଢିପାରିବେ, ତାହା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ପିଲାମାନଙ୍କୁ ଭବିଷ୍ୟତର ସଫଳତା ପାଇଁ ଠିକ୍ ଭାବରେ ଗାଇଡ କରିବାକୁ ଶିକ୍ଷକଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ଅବସରରେ ଆଦର୍ଶ ବିଦ୍ୟାଳୟ ଗୁଡିକ ପାଇଁ ୧୦ ସୂତ୍ରୀ ଲକ୍ଷ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପିଲାମାନଙ୍କୁ ରକ୍ତଦାନ, ପରିବେଶ ସୁରକ୍ଷା ସହିତ ସାକ୍ଷରତା ଅଭିଯାନରେ ସାମିଲ କରିବା, ଯୋଗ, କ୍ରୀଡ଼ା ଓ ସୁସ୍ଥ ଜୀବନଶୈଳୀ ଆଦି ପାଇଁ ଉତ୍ସାହିତ କରିବା, ଜାତୀୟ ଅନ୍ତର୍ଜାତୀୟ, ପ୍ରତିଯୋଗିତାରେ ସଫଳତା ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବା, ସ୍କୁଲ ସମୟରୁ ଦକ୍ଷତାର ବିକାଶ ପ୍ରତି ଯତ୍ନବାନ ହେବା ଆଦି ବିଭିନ୍ନ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ଏହାଛଡା ପ୍ରତି ଆଦର୍ଶ ବିଦ୍ୟାଳୟକୁ ଏକ ୧୦ ବର୍ଷିଆ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ଅବସରରେ ୨୦୨୧ର ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ । କାର୍ଯ୍ୟକ୍ରମରେ ଗଣ ଶିକ୍ଷାମନ୍ତ୍ରୀ ସମୀର ଦାଶ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଅଧ୍ୟକ୍ଷ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉଦବୋଧନ ଦେଇ ଆଦର୍ଶ ବିଦ୍ୟାଳୟ ପିଲାଙ୍କ ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇଥିଲେ ।