୧୪ ଜିଲ୍ଲା ସାବଧାନ୍! ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା

Top Storise ରାଜ୍ୟ

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଉତ୍ତର ଓ ଉପକୂଳ ଅଞ୍ଚଳର ୧୪ ଜିଲ୍ଲାରେ ବର୍ଷା ଜାରି ରହିବ । ଅବପାତ ଦୁର୍ବଳ ହେଲେ ମଧ୍ୟ ଦକ୍ଷିଣରୁ ଉତ୍ତରକୁ ବାୟୁ ପ୍ରଭାବରୁ ୨ ଦିନ ବର୍ଷା ଲାଗି ରହିବ । ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ପୁରୀରେ ସର୍ବାଧିକ ୨୯ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

ତେବେ ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀର ଶକ୍ତିଶାଳୀ ପ୍ରବାହ ଜାରି ରହିଛି। ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ମୌସୁମୀଜନିତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। କେନ୍ଦ୍ରର ସୂଚନା ମୁତାବକ, ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ୧୪ ତାରିଖ ଦିନ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ରାଜଧାନୀ ତଥା ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ। ମଝିରେ ମଝିରେ ବର୍ଷା ସମ୍ଭାବନା ମଧ୍ୟ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

Leave a Reply

Your email address will not be published. Required fields are marked *