ମନ୍ତ୍ରୀ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ, ସାରା ବିଶ୍ବରେ ବିପର୍ଯ୍ୟୟ ପରିଚାଳନାରେ ମଡେଲ ସାଜିଛି ଓଡ଼ିଶା

Top Storise ରାଜନୀତି ରାଜ୍ୟ

ଭୁବନେଶ୍ବର : ଶେଷ ହୋଇଛି ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଉପରେ ହୋଇଛି ଆଲୋଚନା । ପଞ୍ଚମ ପାଳିର ଏହି ଦୁଇ ବର୍ଷ ଅତ୍ୟନ୍ତ ଆହ୍ବାନ ମୂଳକ ଥିଲା ବୋଲି ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ପଞ୍ଚମ ପାଳିର ସରକାର ଆରମ୍ଭ ହେବା ପୂର୍ବରୁ ଫନି ପରି ବାତ୍ୟାର ସମ୍ମୁଖୀନ ହେବାକୁ ପଡିଥିଲା । ସେହିଦିନ ଠାରୁ ଆରମ୍ଭ କରି ଦୁଇ ବର୍ଷ ମଧ୍ୟରେ ରାଜ୍ୟ ବାତ୍ୟା ଓ କୋଭିଡ ମହାମାରୀର ସାମ୍ନା କରିଆସୁଛି । ଲୋକଙ୍କୁ ସୁରକ୍ଷିତ ରଖିବାରେ ସର୍ବଦା ଚେଷ୍ଟା ଜାରି ରହିଛି ବୋଲି କହିଛନ୍ତି ନବୀନ ।

ସାରା ବିଶ୍ବରେ ବିପର୍ଯ୍ୟୟ ପରିଚାଳନାରେ ଏକ ନମ୍ବର ହୋଇଛି ଓଡ଼ିଶା । ଜଳବାୟୁ ପରିବର୍ତ୍ତନ ମାନବ ସମାଜ ପାଇଁ ଏକ ବଡ ସମସ୍ୟା ସୃଷ୍ଟି କରିଛି । ସାରା ବିଶ୍ବ ମହାମାରୀର ବିଭିନ୍ନ ଲହର ଦ୍ବାରା ଗୁରୁତର ଭାବରେ ପ୍ରଭାବିତ ହୋଇଛି । ତଥାପି, ସ୍ବାଭାବିକ ଅବସ୍ଥାକୁ ଫେରିବା ଆଜି ଏକ ଆହ୍ବାନ । କରୋନା ଭାଇରସ୍‌ ସଂକ୍ରମଣର ସଫଳ ନିୟନ୍ତ୍ରଣ କରିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପଡ଼ିବ ବୋଲି ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ରାଜ୍ୟ କରୋନା ସଂକ୍ରମଣର ଦୁଇଟି ଲହର ଦ୍ବାରା ପ୍ରଭାବିତ ହୋଇସାରିଲାଣି । ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ସଠିକ୍‌ ଭାବରେ ପରିଚାଳନା କରିବାରେ ରାଜ୍ୟ ସରକାର ସକ୍ଷମ ହୋଇପାରିଛନ୍ତି । ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ସରକାର ସବୁବେଳେ ଆଗୁଆ ପଦକ୍ଷେପ ନେଇଛନ୍ତି । ଏହାସହ ସଙ୍କଟ ଭିତରେ ଅନ୍ୟ ରାଜ୍ୟକୁ ଅକ୍ସିଜେନ୍ ଯୋଗାଣ କରି ଜୀବନ ବଞ୍ଚାଇବାରେ ରାଜ୍ୟ ସରକାର ଗୁରୁତବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ମହାମାରୀ ଓ ବାତ୍ୟା ପରି ଦୁର୍ବିପାକ ସମୟରେ ପ୍ରଶାସନର ଭଲ କାମରେ ଲୋକମାନଙ୍କର ପ୍ରଶଂସା ସରକାର ପାଇଁ ବହୁତ ବଡ ପ୍ରେରଣା ହୋଇ ରହିଆସିଛି । ବିପର୍ଯ୍ୟୟର ମୁକାବିଲା କିପରି କରିବାକୁ ହେବ, ସେ ବିଷୟରେ ଆମକୁ ନିରନ୍ତର ଶିକ୍ଷା ଲାଭ କରିବାକୁ ହେବ । ଏବଂ ଜଳବାୟୁ ପରିବର୍ତ୍ତନର ପ୍ରଭାବ ସହିତ ଖାପ ଖୁଆଇ ଚଳିବା ସହିତ ବ୍ୟବସ୍ଥାରେ ମଧ୍ୟ ନିରନ୍ତର ଉନ୍ନତି ଆଣିବାକୁ ପଡିବ । ତେଣୁ ଏ ଦିଗରେ ରାଜ୍ୟକୁ ଦକ୍ଷ ଓ ଦୃଢ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ । ଏହାସହ ସ୍କୁଲ କଲେଜ ପାଠ୍ୟକ୍ରମରେ ବିପର୍ଯ୍ୟୟ ଓ ମହାମାରୀର ମୁକାବିଲା ପାଇଁ ପ୍ରାକ୍‌ ପ୍ରସ୍ତୁତିକୁ ଏକ ବିଷୟ ଭାବରେ ଗ୍ରହଣ କରିବାକୁ ମନ୍ତ୍ରୀ ପରିଷଦରେ ସଂକଳ୍ପ ପାରିତ ହୋଇଛି । ଛାତ୍ରଛାତ୍ରୀ, ନିର୍ବାଚିତ ପ୍ରତିନିଧି, ସରକାରୀ ଅଫିସର, ମିଶନ ଶକ୍ତି ସଦସ୍ୟ ଓ ସମସ୍ତ ପ୍ରାକୃତିକ ଦୁର୍ବିପାକ ଓ ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ତାଲିମ ଦିଆଯିବ । ଏହି ପଦକ୍ଷେପ ଦ୍ବାରା ଲୋକଙ୍କ ଜୀବନ ରକ୍ଷା କ୍ଷେତ୍ରରେ ଓଡ଼ିଶା ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିପାରିବ । ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀ ସଚେତନତା ହିଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ୫-ଟି, ପଞ୍ଚମ ପାଳିର ମୁଖ୍ୟ ଫୋକସ ହୋଇ ରହିଆସିଛି । ପ୍ରତ୍ୟେକ ବିଭାଗ ସେମାନଙ୍କ କାର୍ଯ୍ୟକ୍ରମ ଜରିଆରେ ଲୋକଙ୍କ ଜୀବନରେ ଦୃଶ୍ୟମାନ ପରିବର୍ତ୍ତନ ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି ଏବଂ ଏହି ଲକ୍ଷ୍ୟ ପୂରଣ ଦିଗରେ ନିରନ୍ତର କାମ କରିଚାଲିଛନ୍ତି । ଲୋକଙ୍କ ସହିତ ସିଧାସଳଖ ସଂପର୍କ ରହିବା ପାଇଁ ରାଜ୍ୟରେ ଆରମ୍ଭ ହୋଇଛି ମୋ ସରକାର Feedback ବ୍ୟବସ୍ଥା । ପ୍ରଶାସନ ଏବଂ ସରକାରୀ ସେବା ବ୍ୟବସ୍ଥାକୁ ଅଧିକ ଲୋକାଭିମୁଖୀ ଓ ବୈଷୟିକ ଭିତ୍ତିକ କରି ସରକାରୀ ବ୍ୟବସ୍ଥାରେ ଢାଞ୍ଚାଗତ ଓ ପ୍ରକ୍ରିୟାଗତ ପରିବର୍ତ୍ତନ ଆଣିବା ପାଇଁ ଆନ୍ତରିକ ପଦକ୍ଷେପ ନିଆଯାଇଛି । ସେହିପରି ସ୍ବାସ୍ଥ୍ୟ ଓ ଶିକ୍ଷାର ବିକାଶ ଉପରେ ସ୍ବତନ୍ତ୍ର ଗୁରୁତ୍ବ ଦେଇଛନ୍ତି ସରକାର । ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୮୫୦୦ କୋଟି ଟଙ୍କାର ବିପୁଳ ପୁଞ୍ଜି ବିନିଯୋଗ ହୋଇଛି । ୩୫୦୦ କୋଟି ଟଙ୍କା ବ୍ୟୟରେ ଏସସିବି ମେଡିକାଲ କଲେଜକୁ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନରେ ପରିଣତ କରାଯିବ ବୋଲି ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଉରକେଲାରେ ଦେଶର ବୃହତ୍ତମ ହକି ଷ୍ଟାଡିଅମ ସମେତ ବିଭିନ୍ନ କ୍ରୀଡା ପ୍ରକଳ୍ପ ପାଇଁ ୧୦୦୦ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି । ସେହିପରି କୃଷି ଓ କୃଷକର ଉନ୍ନତି ପାଇଁ ଗତ ଏକ ବର୍ଷ ମଧ୍ୟରେ କାଳିଆ ଯୋଜନାରେ ଚାଷୀଙ୍କ ଆକାଉଣ୍ଟକୁ ପଠାଯାଇଛି ୬୧୧୮ କୋଟିରୁ ଅଧିକ ଟଙ୍କା । ବିଭିନ୍ନ ଜଳସେଚନ ପ୍ରକଳ୍ପକୁ ଠିକ୍‌ ସମୟରେ ଶେଷ କରିବା ପାଇଁ କଡା ନିର୍ଦ୍ଦେଶ ଦିଆଯାଇଛି । ଚଳିତ ବର୍ଷ ଅପର ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପ ଓ ଲୋୟର ଇନ୍ଦ୍ରାବତୀ ପ୍ରକଳ୍ପ ଚାଷୀଙ୍କ ସେବାରେ ଉତ୍ସର୍ଗ କରାଯାଇଛି । ମହିଳା ସଶକ୍ତିକରଣକୁ ଦୃଷ୍ଟିରେ ରଖି ମିଶନ ଶକ୍ତି କାର୍ଯ୍ୟକ୍ରମକୁ ମଜବୁତ କରାଯାଇଛି । ମିଶନ ଶକ୍ତି ମା’ ମାନଙ୍କର ଆର୍ଥିକ ସଶକ୍ତିକରଣ ପାଇଁ ଆଗାମୀ ୫ ବର୍ଷରେ ସେମାନଙ୍କୁ ୫୦୦୦ କୋଟି ଟଙ୍କାର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସଂପୃକ୍ତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *